ନୂଆପଡ଼ାରେ ଷଷ୍ଠ ଜିଲ୍ଲା ପରିଷଦର ଏକାଦଶ ବୈଠକ ଅନୁଷ୍ଠିତ
ନୂଆପଡ଼ା,(ସୁଜିତ କୁମାର ପ୍ରଧାନ )ନୂଆପଡ଼ା ଜିଲ୍ଲାର ଷଷ୍ଠ ଜିଲ୍ଲା ପରିଷଦର ଏକାଦଶ ବୈଠକ ବୁଧୁବାର ସ୍ଥାନୀୟ ସଦ୍ଭାବନା ସଭାଗୃହଠାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଜିଲ୍ଲାପାଳ ଅନ୍ୟା ଦାସ, କଳାହାଣ୍ଡି ସାଂସଦଙ୍କ ପ୍ରତିନିଧି ପ୍ରେମ ଅଗ୍ରୱାଲ, ବନଖଣ୍ଡ ଅଧିକାରୀ (ପ୍ରାନ୍ତୀୟ) ଅଜିଜ ଖାନ ଓ ବନଖଣ୍ଡ ଅଧିକାରୀ (ବନ୍ୟପ୍ରାଣୀ) ସମୀର ସାହୁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପଙ୍କ ସମେତ ଜିଲ୍ଲା ପରିଷଦର ସମସ୍ତ ସଦସ୍ୟ/ସଦସ୍ୟା, ବ୍ଲକ ଅଧ୍ୟକ୍ଷ/ଅଧ୍ୟକ୍ଷା, ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।ବୈଠକରେ ବିଭିନ୍ନ ବିଭାଗ ପକ୍ଷରୁ ବିଭାଗୱାରୀ ଭାବେ ଜିଲ୍ଲାରେ ଚାଲିଥିବା ଉନ୍ନୟନମୂଳକ ଯୋଜନା ଓ ପ୍ରକଳ୍ପଗୁଡ଼ିକର ଅଗ୍ରଗତି, ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ଲକ୍ଷ୍ୟଧାର୍ଯ୍ୟ କାର୍ଯ୍ୟ ସମ୍ପାଦନ ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ଏଥିସହ ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଗ୍ରାମ୍ୟ ଉନ୍ନୟନ, ପାନୀୟ ଜଳ ଯୋଗାଣ, ଜଙ୍ଗଲ ଓ ପରିବେଶ ଆଦି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯୋଜନାଗୁଡ଼ିକର ସଫଳ ରୂପାୟନ ସହ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇଦେବା ଦିଗରେ ବିଭାଗୀୟ ଅଧିକାରୀ ଓ ଜନପ୍ରତିନିଧିଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।ଶେଷରେ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଲମ୍ବୋଦର ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ।

