ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ , ୩୩ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିସ୍ଥାପନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯିବ। ଏହାଦ୍ବାରା ପଶ୍ଚିମ ଓଡିଶାର ଜନସାଧାରଣଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୫ଟି ଉପକ୍ରମରେ ଏହି କାର୍ଯ୍ୟକ୍ରମ କରାଯାଉଛି ବୋଲି ପ୍ରକାଶ କରି ଏହିସବୁ ଭିତ୍ତିଭୂମି କାମ ଠିକ୍ ସମୟରେ ଶେଷ ହେବ ଓ ଏହାର ଗୁଣାତ୍ମକ ମାନ ମଧ୍ୟ ବହୁତ ଭଲ ରହିବ ବୋଲି ସେ ଆଶାପ୍ରକାଶ କରିଥିଲେ । ଏହାସହିତ ମୁଖ୍ୟମନ୍ତ୍ରୀ ୩୩.୫୮ କୋଟି ଟଙ୍କା ବିନିଯୋଗରେ ଅନେକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ସେ ସବୁବେଳେ ସ୍ବତନ୍ତ୍ର ଧ୍ୟାନ ଦେଇଆସିଛନ୍ତି । ପଶ୍ଚିମ ଓଡିଶା ବିକାଶ ପରିଷଦର ବଜେଟ ଦୁଇ ଗୁଣ ହେବା ସହିତ ଏହାର କାର୍ଯ୍ୟକ୍ରମ ମଧ୍ୟ ବୃଦ୍ଧିପାଇଛି । ଜନପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ବିକାଶ ପରିଷଦକୁ ପରାମର୍ଶ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ । ପଶ୍ଚିମ ଓଡିଶାର ବିକାଶ କ୍ଷେତ୍ରରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ବିକାଶରେ ପଶ୍ଚିମ ଓଡିଶାର ଭୂମିକା ଗୁରୁତ୍ବପୂର୍ଣ୍ଣ । କୃଷି, ଶିଳ୍ପ, ଖଣି, ଶିକ୍ଷା ଏବଂ କଳା ଓ ସଂସ୍କୃତିରେ ସମୃଦ୍ଧ ହେଉଛି ପଶ୍ଚିମ ଓଡିଶା । ପର୍ଯ୍ୟଟନର ବିକାଶ ପାଇଁ ମା ସମଲେଶ୍ୱରୀ, ହରିଶଙ୍କର ଓ ନୃସିଂହନାଥ ମନ୍ଦିରର ରୂପାନ୍ତର କାମ ଚାଲିଛି । ଏହା ସହିତ ଆହୁରି ଅନେକ ମନ୍ଦିର ଓ ଭିତ୍ତିଭୂମି କାମ ପାଇଁ ମଧ୍ୟ ପଦକ୍ଷେପ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜରିଆରେ ସବୁ କାମ ତଦାରଖ କରୁଛି । ପଶ୍ଚିମ ଓଡିଶା ଖୁବ ଶୀଘ୍ର ବିକାଶର ସବୁ କ୍ଷେତ୍ରରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛି ବୋଲି ସେ କହିଥିଲେ ।ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଟିଟିଲାଗଡଠାରେ ଜଳସଂପଦ ମନ୍ତ୍ରୀ ଟୁକୁନି ସାହୁ, ବରଗଡଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ଦେବଗଡଠାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ ପ୍ରମୁଖ ଯୋଗଦେଇ ପଶ୍ଚିମ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଯୋଜନାବଦ୍ଧ କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ୫-ଟି ଉପକ୍ରମରେ ସବୁ କାର୍ଯ୍ୟକ୍ରମ ଠିକ୍‌ ସମୟରେ ଆରମ୍ଭ ହୋଇ ଶେଷ ହେବା ସହିତ ପଶ୍ଚିମ ଓଡିଶାର ବିକାଶ ତ୍ବରାନ୍ବିତ ହୋଇପାରୁଛି ବୋଲି ସେମାନେ ମତ ଦେଇଥିଲେ ।

ବୈଠକରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଏହାର ସିଇଓ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଉଦ୍ଘାଟିତ ପ୍ରକଳ୍ପ ମଧ୍ୟରେ ବଲାଙ୍ଗୀର ଗଡିଆଜୋର ସେତୁ, ଟିଟିଲାଗଡ ଟାଉନହଲ୍‌, ବରଗଡ ଇକୋ ଟୁରିଜିମ୍‌, ଭିତ୍ତିଭୂମି, ଦେବଗଡ କଲେଜର ନୂଆ ଅଡିଟୋରିଅମ, କଳାହାଣ୍ଡି ବ୍ରଜମୋହନ ହାଇସ୍କୁଲର ନୂଆ ହଷ୍ଟେଲ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ନୂଆ ଅଡିଟୋରିଅମ ଓ କୁଚିଣ୍ଡା କଲେଜର ଅଡିଟୋରିଅମ ରହିଛି । ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମଧ୍ୟରେ ବରଗଡ ଜନ୍ଦୋଲ ଗାଁର କମ୍ୟୁନିଟି ହଲ୍‌, ବରୋମୁଣ୍ଡା କଳାଗ୍ରାମ, କଟାବାହାଲ ପର୍ଯ୍ୟଟନ କେନ୍ଦ୍ର ଏବଂ କଳାହାଣ୍ଡିର ବିଭିନ୍ନ ଜଳାଶୟର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ଏବଂ ସମ୍ବଲପୁର କେସିଆବାହାଲ ଠାରେ ନୂତନ ବହୁମୁଖୀ ହଲର ନିର୍ମାଣ କାମ ରହିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଗୋଲାମୁଣ୍ଡା ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଉଦ୍‌ଯାପିତ

Sunil Chandra Nayak

ଓଇଏସ ପରୀକ୍ଷାରେ ରାଜସ୍ବ ନିରୀକ୍ଷକ ବିଜୟ ଲକ୍ଷ୍ମୀ ନାଗଙ୍କ ସଫଳତା 

ଆଗକୁ ବର୍ଷା ଦିନକୁ ନଜରରେ ରଖି ପୈାରପାଳିକା ସଫେଇ କର୍ମଚାରୀମାନେ ଡ୍ରେନଗୁଡିକୁ ସଫା କରିବାରେ ବ୍ୟସ୍ତ

Leave a Comment

error: Content is protected !!