ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ସହ ପ୍ରହଲ୍ଲାଦ ମୁଦୁଲି ଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଓଡ଼ିଶାରେ କୁମାର ପୂର୍ଣିମା 

ଓଡ଼ିଶାରେ କୁମାର ପୂର୍ଣିମା 

 

କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି ।

ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି

ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।

ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି । ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି ।

ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ । ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ । ତେବେ ଏହି ପର୍ବରେ କାର୍ତ୍ତିକେୟଙ୍କ ପାଇଁ କୌଣସି ବିଶେଷ ପୂଜା ବିଧି ନାହିଁ ।

କୁମାର ପୂର୍ଣ୍ଣିମାର କିଛିଦିନ ପୂର୍ବରୁ ଚଉରାକୁ ଭଲ ଭାବରେ ସଫା କରି ରଙ୍ଗ କରାଯାଇଥାଏ । କୁମାର ପୂର୍ଣ୍ଣିମା ଦିନ ସନ୍ଧ୍ୟାରେ ଚଉରା ଆଗରେ ମୁରୂଜରେ ବିଭିନ୍ନ ପ୍ରକାର ଚିତ୍ର କରାଯାଇଥାଏ ଓ ଚଉରାକୁ ଫୁଲ ଓ ସିନ୍ଦୁରରେ ସଜାଯାଇଥାଏ । ଚଉରାକୁ ସଜାଇବାରେ ମୁଖ୍ୟତଃ କଇଁ ଫୁଲ ବ୍ୟବହାର କରାଯାଇଥାଏ । ଚନ୍ଦ୍ର ଉଦୟ ହେଲେ କଇଁ ଫୁଟିଥାଏ । ଏହି ପର୍ବରେ ଚନ୍ଦ୍ରଙ୍କ ପୂଜା କରାଯାଉଥିବାରୁ ଏଥିରେ କଇଁ ଫୁଲ ବିଶେଷ ଭାବରେ ବ୍ୟବହୃତ ହୋଇଥାଏ । ଏହି ଦିନ ତୁଳସୀ ଗଛରେ ନାଲି ଶଙ୍ଖା ଓ ସାଲୁ କନା ସହ ନୂଆ ବସ୍ତ୍ରଟିଏ ମଧ୍ୟ ଦିଆଯାଇଥାଏ । ଚଉରା ଆଗରେ ପିଢ଼ାରେ ଗୁଆ ରଖି ତା ଉପରେ ଦୁବ ଘାସ, ଫୁଲ, ବରକୋଳି ପତ୍ର ଦେଇ ସଜାଯାଇଥାଏ ।ଏହି ଦିନ ଘରର କୁମାରୀମାନେ ଭୋରରୁ ଉଠି ସ୍ନାନାଦି ନିତ୍ୟକର୍ମ ସାରି ନୂତନ ବସ୍ତ୍ର ପରିଧାନ କରିଥାନ୍ତି । ଏହାପରେ ସେମାନେ ଆଞ୍ଜୁଳାରେ ସାତ ପ୍ରକାରର ଫଳ ନେଇ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥାନ୍ତି । ଏହି ବିଧିକୁ ଆଞ୍ଜୁଳା ଟେକା ବିଧି କୁହାଯାଏ । ତେବେ ଓଡ଼ିଶାର କେତେକ ଅଞ୍ଚଳରେ ଏହି ଆଞ୍ଜୁଳା ଟେକା ବିଧି ପାଳନ କରାଯାଏ ନାହିଁ । ଏହି ପର୍ବରେ କୁମାରୀମାନେ ଦିନସାରା ଉପବାସ କରିଥାନ୍ତି । ଏହିଦିନ କୁମାରୀ ତଥା ବିବାହିତା ମହିଳାମାନେ ପାଦରେ ଅଳତା ଲଗାଇଥାନ୍ତି । ଅଳତା ହେଉଛି ଭାରତୀୟ ପରମ୍ପରାରେ ଅହିସୁଲକ୍ଷଣୀ ହେବାର ପ୍ରତୀକ । ପ୍ରତ୍ୟକ ପୂଜା ପର୍ବରେ ଭାରତୀୟ ନାରୀମାନେ ଅଳତା ଲଗାଇ ନିଜ ଜୀବନସାଥୀର ଦୀର୍ଘ ଜୀବନ କାମନା କରିଥାନ୍ତି । ସନ୍ଧ୍ୟା ସମୟରେ କୁମାରୀମାନେ ପୁଣି ନୂତନ ବସ୍ତ୍ର ପରିଧାନ କରି ଚନ୍ଦ୍ର ଓ ଚଉରାଙ୍କୁ ପୂଜା କରିଥାନ୍ତି ।

ଚଉରା ପାଖରେ ସ୍ଥାପନ କରାଯାଇଥିବା କଳସରେ ମଧ୍ୟ ଆମ୍ବଡାଳ, ଗୁଆ, ସିନ୍ଦୁର, ଚନ୍ଦନ ଇତ୍ୟାଦି ଦେଇ ଅନୁରୂପ ଭାବେ ସଜାଯାଇଥାଏ । ଭୋଗ ପାଇଁ ଖଇ, ନଡ଼ିଆ, କଦଳୀ, ଛେନା, ଦ?ହି, କ୍ଷୀର, କାକୁଡ଼ି, ତାଳସଜ, ମହୁ, ଅଦା, ଘିଅ, ଆଖୁ, ଗଜା ମୁଗ, ସେଓ, ଚିନି ଇତ୍ୟାଦି ପଡ଼ି ଏକ ଚକଟା ପ୍ରସ୍ତୁତ କରାଯାଇଥାଏ । ଏହି ଚକଟାକୁ ଚାନ୍ଦ ଚକଟା କୁହାଯାଏ । ଏହି ପର୍ବରେ ତିଆରି କରାଯାଉଥିବା ମଣ୍ଡା ପିଠା ଓଡ଼ିଶାର ମୁଖ୍ୟ ଆକର୍ଷଣମାନଙ୍କ ମଧ୍ୟରୁ ଅନ୍ୟତମ । ପୂଜା ସମୟରେ ଚାନ୍ଦ ଚକଟା ଓ ମଣ୍ଡା ପିଠା ଭୋଗ ଚଉରା ଏବଂ ଚନ୍ଦ୍ରଙ୍କୁ ଅର୍ପଣ କରି ସେମାନଙ୍କୁ ଶଙ୍ଖ ଓ ହୁଳହୁଳି ସହ ଦୀପରେ ବନ୍ଦାଇ ଦିଆଯାଏ । ଯେଉଁ ଘରେ କୌଣସି କୁମାରୀ କନ୍ୟା ନଥାନ୍ତି, ସେ ଘରେ ବିବାହିତା ସ୍ତ୍ରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି କାମନା କରି ଚଉରା ଓ ଚନ୍ଦ୍ର ପୂଜା କରିଥାନ୍ତି ।

ପୂଜା ସରିଲା ପରେ ଭୋଗ ଖାଇ କୁମାରୀ କନ୍ୟାମାନେ ନିଜର ସାରା ଦିନର ଉପବାସ ଭାଙ୍ଗିଥାନ୍ତି । ଗାଁ ଗହଳିର ଝିଅମାନେ ‘କୁଆଁର ପୁନେଇ ଜହ୍ନ ଗୋ ଫୁଲ ବଉଳ ବେଣୀ, କୁଆଁରୀ ଝିଅଙ୍କ ଅପୂର୍ବ ଆନନ୍ଦ ପୁଚି ଖେଳିବାକୁ ମନ ଗୋ ଫୁଲ ବଉଳ ବେଣୀ… ‘ଗୀତ ଗାଇ ପୁଚି ଖେଳିଥାନ୍ତି । ପୁଅମାନେ ପଶା ଓ ତାସ୍ ଖେଳି ମନୋରଞ୍ଜନ କରିଥାନ୍ତି । କେତେକ ଅଞ୍ଚଳରେ ଏହି ଦିନ ଘରର ଜ୍ୱାଇଁମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଉପହାର ଦିଆଯାଇଥାଏ । ଭାଦ୍ରବ ପୂର୍ଣ୍ଣିମା ବା ଇନ୍ଦୁ ପୂର୍ଣ୍ଣିମାଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ କୁମାରୀ କନ୍ୟାମାନେ ଏକାଠି ହୋଇ ଜହ୍ନି ଓଷା କରନ୍ତି । ଏହି ଓଷାର ଉଦ୍‌ଯାପନ କୁମାର ପୂର୍ଣ୍ଣିମା ଦିନ ସମ୍ପନ୍ନ ହୁଏ।

ଢେ଼ଙ୍କାନାଳ ରୁ ନାୟକ ଅକ୍ଷୟ ରାଜହସ୍ତୀ ଙ୍କ ସହ ପ୍ରହଲ୍ଲାଦ ମୁଦୁଲି ଙ୍କ ସ୍ଵତନ୍ତ୍ର ଉପସ୍ଥାପନା

Related posts

ପୋଲିସ ସଚେତନତା ଶିବିର ଅନୁଷ୍ଠିତ

Sunil Chandra Nayak

ଜାଳେଣି କାଠ ଆଣିବାକୁ ଯାଇ ବଳଦ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ଜଳନ୍ଧରଙ୍କ ମୃତ୍ୟୁ 

Sunil Chandra Nayak

ମଧୁବାବୁ ପେନସନ ଯୋଜନାରେ ୮୬୬ ଜଣ ହିତାଧିକାରୀଙ୍କୁ ଭତ୍ତା ଓ କାର୍ଡ ପ୍ରଦାନ

Sunil Chandra Nayak

Leave a Comment

error: Content is protected !!