ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଓଡ଼ିଶାର ଏକ ପାରମ୍ପରିକ ପର୍ବ ପ୍ରଥମାଷ୍ଟମୀ ଅଥବା ପଢୁଆଁଷ୍ଟମୀ

ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ପ୍ରଥମାଷ୍ଟମୀ ବା ପଢୁଆଁଷ୍ଟମୀ। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ ।

ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ,ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏହି ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଆଞ୍ଚଳିକ ସ୍ତରରେ ଏହା ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କ ର ଏକ ପ୍ରସିଦ୍ଧ ଯାତ୍ରା ।ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ଷଠୀପୂଜା ଅନୁଷ୍ଠିତ ହୋଇଥାଏ । ଏହିଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ ।

ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଠାକୁରଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରିଥାନ୍ତି। ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷାକରନ୍ତି । ପରିବାର ର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ । ଓ ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ I ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପମାଆ ମାନେ ପିନ୍ଧେଇଥାନ୍ତି ।

ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ସନ୍ତାନ (ଭାଇ ଭଉଣୀ) ମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ। ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ I କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ ।

ଓଡ଼ିଶାରେ ପ୍ରଥମାଷ୍ଟମୀ ଦିନ ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠ (ଲିଙ୍ଗରାଜ ମନ୍ଦିର ସଂଲଗ୍ନ)କୁ ଯାଆନ୍ତି ପଢୁଆଁ ହେବା ପାଇଁ । ଏହିମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’ । ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ । ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି । ତାହା ପାପନାଶିନୀ ରୂପେ ପରିଚିତ ।‘ପ୍ରଥମାଷ୍ଟମୀଦିନ ଏହି ପୁଷ୍କରିଣୀ ର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ’ ବୋଲି ପ୍ରବାଦ ଅଛି ।

ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭକରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା । କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି ।

ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ ।ଏହିଦିନ କାଳ ଭୈରବଙ୍କର ବ୍ରତ ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।

ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ । ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’ I ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା । ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ । ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି । ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା । କିନ୍ତୁ ବର୍ତ୍ତମାନ ଏହା ଏକ ସାମାଜିକ ଉତ୍ସବରେ ପାଳିତ ହେଉଅଛି।

ବିଦ୍ୟାଧର ସାହୁଙ୍କ ଉପସ୍ଥାପନା…..

Related posts

ମାନଗୋବିନ୍ଦ ସ୍ବାଇଁ ଙ୍କ କବିତା ଜଣାଣ

Sunil Chandra Nayak

ବାସନ୍ତୀ ଲତା ଜେନା ଙ୍କ କବିତା ସହଭାଗିତା

Sunil Chandra Nayak

ଅନ୍ନପୂର୍ଣା ସାହୁ ଙ୍କ କବିତା ଶ୍ରଦ୍ଧାଞ୍ଜଳି

Sunil Chandra Nayak

Leave a Comment

error: Content is protected !!